ଶଙ୍ଖକୁ ବିରୋଧ କରି ଓଡିଆ ସଂସ୍କୃତିକୁ ଅପମାନିତ କରୁଛି ବିଜେପି: ବିଜେଡି

ପଞ୍ଚାୟତ ବିକାଶର ବାଟ ଓଗାଳୁଛି ବିଜେପି

ଏଭଳି ବିରୋଧର ଜବାବ ଦେବେ ଓଡିଶାବାସୀ

ଭୁବନେଶ୍ୱର, ୧୦/୧୦/୨୦୨୩: ଶଙ୍ଖ – ଓଡିଆ ଜାତି ଓ ସଂସ୍କୃତିର ଅବିଛେଦ୍ୟ ଅଙ୍ଗ । ଆମ ପରମ୍ପରା ଅନୁସାରେ ସବୁ ଶୁଭ କାର୍ଯ୍ୟ ଆରମ୍ଭରେ “ଶଙ୍ଖ’ ବଜାଯାଏ । ରାଜ୍ୟ ବିଜେପି ନେତା କଣ ଚାହୁଁଛନ୍ତି ଏହା ବନ୍ଦ ହେଉ? ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କ୍ଷେତ୍ରକୁ ଶଙ୍ଖକ୍ଷେତ୍ର କୁହାଯାଏ । ଏହାର ନାମ ପରିବର୍ତ୍ତନ କରିବାକୁ କଣ
ବିରୋଧୀ ଦଳ ଚାହୁଁଛନ୍ତି କି ବୋଲି କହିଛନ୍ତି ବିଜେଡିର ବରିଷ୍ଠ ବିଧାୟକ ଡକ୍ଟର ଅରୁଣ ସାହୁ ।

ଡକ୍ଟର ସାହୁ କହିଛନ୍ତି ଯେ ଆମ ଓଡିଶା, ନବୀନ ଓଡିଶା – ଓଡିଶାର ଜନସାଧାରଣଙ୍କ ପାଇଁ କରାଯାଉଥିବା କାର୍ଯ୍ୟକ୍ରମ । ଜନତା ନିଜ ପଞ୍ଚାୟତରେ ଯେଉଁ ପ୍ରକଳ୍ପ କରିବାକୁ ଆଗ୍ରହ ପ୍ରକାଶ କରିଥିଲେ, ତାକୁ ଏହି ଯୋଜନାରେ କାର୍ଯ୍ୟକାରୀ କରାଯାଉଛି । ଲୋକଙ୍କ ପାଇଁ ହେଉଥିବା ଭଲ କାମରେ ଶୁଭ ଶଙ୍ଖ ରହିଲେ ରାଜ୍ୟ
ବିଜେପି ନେତାଙ୍କୁ କଷ୍ଟ କ’ଣ ପାଇଁ ହେଉଛି? ପ୍ରତି କଥାରେ ରାଜନୀତି କରିବା ବିରୋଧୀ ଦଳର ଅଭ୍ୟାସ ହୋଇଗଲାଣି ।

ଓଡିଶାରେ ହେଉଥିବା ଦ୍ରୁତ ବିକାଶ ଜନତା ଦେଖୁଛନ୍ତି ଆଉ ଅନୁଭବ ମଧ୍ୟ କରୁଛନ୍ତି । ଯାହା ବିରୋଧୀଙ୍କୁ ଅସହ୍ୟ ହେଉଛି । ତେଣୁ ରାଜ୍ୟ ବିଜେପି ନେତା ଜନବିରୋଧୀ କାର୍ଯ୍ୟରେ ନିଜକୁ ସାମିଲ କରି ବିକାଶ ପ୍ରକ୍ରିୟାରେ ବାଧା ଆଣୁଛନ୍ତି । ସାଢେ ୪ କୋଟି ଓଡିଶାବାସୀ ଏଭଳି ଜନବିରୋଧୀଙ୍କୁ ଲଗାତାର ପ୍ରତ୍ୟାଖ୍ୟାନ କରି ଆସୁଛନ୍ତି ଏବଂ ଆଗକୁ ମଧ୍ୟ କରିବେ । ଯେଉଁଥିପାଇଁ ବିରୋଧୀ ଦଳ ହତାଶ ହୋଇଗଲେଣି ବୋଲି ଡକ୍ଟର ସାହୁ କହିଛନ୍ତି ।