୨୪ ଘଣ୍ଟାରେ ପ୍ରବଳ ବର୍ଷା: ୪ ଜିଲ୍ଲାକୁ ଅରେଞ୍ଜ ଓ ୧୮ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୩ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।