ରାଜ୍ୟରେ ହେବ ପ୍ରବଳ ବର୍ଷା

ରାଜ୍ୟରେ ହେବ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଇଏମଡି ୱାର୍ଣ୍ଣିଂ ଜାରି କରିଛି।

ୱାର୍ଣ୍ଣିଂ ଜାରି କଲା ଆଇଏମଡି

ଭୁବନେଶ୍ବର,୧୫/୧୧/୨୩: ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ପଶ୍ଚିମକେନ୍ଦ୍ରୀୟ ଏବଂ ଏହାର ଆଖପାଖ ଅଞ୍ଚଳ ପୂର୍ବକେନ୍ଦ୍ରୀୟ ଓ ଦକ୍ଷିଣ ବଙ୍ଗୋପସାଗରରେ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆସନ୍ତା କିଛି ଘଣ୍ଟା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ନଭେମ୍ବର ୧୬ରେ ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଗଭୀର ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତି କରି ନଭେମ୍ବର ୧୫ ତାରିଖରେ ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ।

ନଭେମ୍ବର ୧୫ ତାରିଖରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାର ପୂର୍ବାନୁମାନ କରାଯାଇଛି। ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ, କନ୍ଧମାଳ, କଳାହାଣ୍ଡି ଓ କଟକ ଜିଲ୍ଲାରେ ବର୍ଷା ହେବାର ଅଛି।

ନଭେମ୍ବର ୧୬ରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ତଥା ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଇଏମଡି ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ନଭେମ୍ବର ୧୭ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।