ଉପକୂଳ ଓଡ଼ିଶାରେ ଲାଗି ରହିଛି ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି।

ଆସନ୍ତାକାଲି ବାତ୍ୟାରେ ପରିଣତ ହୋଇପାରେ ଲଘୁଚାପ: ଆଇଏମଡି

ଭୁବନେଶ୍ବର,୧୬/୧୧/୨୩: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ପାରାଦୀପରେ ସର୍ବାଧିକ ୬.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ପୁରୀରେ ସର୍ବନିମ୍ନ ୦.୧ ମିଲିମିଟର ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କଟକ, ଯାଜପୁର, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଓଡ଼ିଶାର ବାକି ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି।

ନଭେମ୍ବର ୧୭ ସୁଦ୍ଧା ଗଭୀର ଅବପାତ ଆହୁରି ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ। କିନ୍ତୁ ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରୁ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତି କରୁଥିବାରୁ ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନଭେମ୍ବର ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।