ପ୍ରବଳ ବର୍ଷା ଯୋଗୁଁ ସୁନ୍ଦରଗଡ଼ରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ପ୍ରବଳ ବର୍ଷା ଯୋଗୁଁ ସୁନ୍ଦରଗଡ଼ ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୦୭/୧୨/୨୩: ବାତ୍ୟା ‘ମିଚାଉଙ୍ଗ’ ପ୍ରଭାବରେ ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ସ୍କୁଲରେ ଛୁଟି ଘୋଷଣା କରାଯାଇଛି। ଗୁରୁବାର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି।

ସୁନ୍ଦରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପ୍ରଧାନ କହିଛନ୍ତି, ଏ ନେଇ ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ସୋମବାରଠାରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅଦିନିଆ ବର୍ଷା ଜାରି ରହିଛି। ମଙ୍ଗଳବାର ଜିଲ୍ଲାରେ ୫୧.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବୁଧବାର ସନ୍ଧ୍ୟା ସୁଦ୍ଧା ୫୭.୮୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।