ଓଡ଼ିଆ ଭାଷାରେ ଭଲ ସାହିତ୍ୟ ସୃଷ୍ଟି ପାଇଁ ଓଡ଼ିଆ ବିଶ୍ୱବିଦ୍ୟାଳୟ ଉଦ୍ୟମ କରୁ: ମୁଖ୍ୟମନ୍ତ୍ରୀ

ଓଡ଼ିଆ ଜାତି ପାଇଁ ବର୍ତ୍ତମାନ ସମୟ ହେଉଛି ଏକ ଗୌରବମୟ ସମୟ ଯୁବ ପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷା ପ୍ରତି ଆଗ୍ରହ ସୃଷ୍ଟି କରାଯିବ ଜରୁରୀ, ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାର ବ୍ୟବହାର ବଢିବା ଦରକାର

ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌ ଲୋକାର୍ପିତ

ଭୁବନେଶ୍ଵର, ୨୪.୦୧.୨୦୨୪: ଭାଷା ଗୋଟେ ଜାତିର ଅସ୍ମିତାର ପରିଚୟ। ଗୋଟେ ଜାତିର ମୁକୁଟ ହେଉଛି ତା’ର ଭାଷା। ଭାଷାର ବ୍ୟବହାର ବଢିଲେ ଏହା ସମୃଦ୍ଧ ହୋଇଥାଏ ଏବଂ ଜାତିର ଗୌରବ ବୃଦ୍ଧି କରିଥାଏ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସତ୍ୟବାଦୀଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ।

ଏହି ଅବସରରେ ସେ କହିଲେ ଯେ, ନିକଟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟିତ ହୋଇଛି। ଆଜି ଓଡ଼ିଆ ବିଶ୍ବବିଦ୍ୟାଳୟର କ୍ୟାମ୍ପସ୍‌ ଉଦ୍‌ଘାଟିତ ହେଲା। ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବାକୁ ଯାଉଛି ଏବଂ ଫେବୃଆରୀ ୩ ତାରିଖରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ହେବ। ତେଣୁ ନିଶ୍ଚିତ ଭାବେ ଏହା ଆମ ସମସ୍ତଙ୍କ ପାଇଁ, ସମଗ୍ର ଓଡ଼ିଆ ଜାତି ପାଇଁ ଏହା ଏକ ଗୌରବର ସମୟ, ଅସ୍ମିତାର ସମୟ।

ବିଶ୍ବବିଦ୍ୟାଳୟ କୁଳପତି, ପ୍ରାଧ୍ୟାପକ, ଓ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆମ ସଂସ୍କୃତି, ଆମ ଜୀବନଧାରା, ଆମ ପରମ୍ପରାକୁ ଭିତ୍ତି କରି ଭଲ ଭଲ ସାହିତ୍ୟ ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଦରକାର। ଏ ଦିଗରେ ଓଡିଆ ବିଶ୍ୱବିଦ୍ୟାଳୟ ନେତୃତ୍ୱ ନେବ ବୋଲି ଆଶା ଅଛି।

ସତ୍ୟବାଦୀକୁ ଓଡିଆ ନବଜାଗରଣର ପୀଠ ଭାବେ ବର୍ଣ୍ଣନା କରି ସେ କହିଲେ ଯେ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ କର୍ମଭୂମୀ ହେଉଛି ସତ୍ୟବାଦୀ। ଏହା ସହ ସେ ଆଦି କବି ସାରଳା ଦାସଙ୍କୁ ପ୍ରଣାମ ଜଣାଇବା ସହ ଓଡିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ବରପୁତ୍ର ମାନଙ୍କୁ ଏବଂ ଓଡିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିଥିବା ମହାରଥୀ ମାନଙ୍କ ପ୍ରତି ମଧ୍ୟ ତାଙ୍କର ସମ୍ମାନ ଜଣାଇ ଥିଲେ।

ଓଡିଶା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ। ଓଡିଆ ଭାଷା ଏକ ପ୍ରାଚୀନ ଭାଷା। ଏହା ଶାସ୍ତ୍ରୀୟ ମାନ୍ୟତା ଲାଭ କରିଛି। ଓଡିଆ ଭାଷାରେ ଅନେକ ସମୃଦ୍ଧ ସାହିତ୍ୟ ସୃଷ୍ଟି ହୋଇଛି। ଆମ ସାହିତ୍ୟର ସାରା ବିଶ୍ୱରେ ପ୍ରଚାର ପ୍ରସାର ପାଇଁ ଉଦ୍ୟମ କରାଯିବା ଦରକାର। ଆମ ଭାଷା ପ୍ରତି ଯୁବପିଢିଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରାଯିବା ଦରକାର। ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାର ବ୍ୟବହାର ବୃଦ୍ଧି କରାଯିବା ଦରକାର। ଏହା ସହିତ ଓଡିଆ ଭାଷା ଉପରେ ଅଧିକ ଗବେଷଣା କରାଯିବା ଦରକାର ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ଓଡିଆ ଭାଷା ଓ ଅସ୍ମିତାର ସୁରକ୍ଷା ପାଇଁ ଓଡିଆ ବିଶ୍ବବିଦ୍ୟାଳୟ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଏକ ବଡ ଅବଦାନ। ଓଡିଆ ବିଶ୍ବବିଦ୍ୟାଳୟ ଯୋଗୁ ଓଡିଆ ଭାଷା ଓ ସାହିତ୍ୟକୁ ଭଲ ପାଉଥିବା ଦେଶ ବିଦେଶରେ ରହୁଥିବା ଓଡିଆ ମାନେ ଖୁବ ଉତ୍ସାହିତ ବୋଲି ସେ କହିଥିଲେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ସତ୍ୟବାଦୀ ବିଧାୟକ ଶ୍ରୀ ଉମାକାନ୍ତ ସାମନ୍ତରାୟ, କୁଳପତି ପ୍ରଫେସର ସବିତା ପ୍ରଧାନ ପ୍ରମୁଖ ସେମାନଙ୍କ ଅଭିଭାଷଣ ଦେଇଥିଲେ। ଉଚ୍ଚଶିକ୍ଷା ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ସ୍ବାଗତ ଭାଷଣ ଦେଇଥିଲେ ଏବଂ କୁଳସଚିବ ରଶ୍ମୀରେଖା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ, ସତ୍ୟବାଦୀ ଠାରେ ୨୦୧୮ ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ବିଶ୍ଵବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିଥିଲେ। ଆଜି ଏହାର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟିତ ହୋଇଛି। ୯.୬୦ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି ବିଶ୍ଵ ବିଦ୍ୟାଳୟକୁ ଅତ୍ୟାଧୁନିକ ସ୍ଥାପତ୍ୟ ଶୈଳୀ ଓ ଟେକ୍ନୋଲୋଜିରେ ନିର୍ମାଣ କରାଯାଇଛି। ପ୍ରଶାସନିକ ବିଲ୍ଡିଂରେ ସ୍ଥାପିତ ଓଡ଼ିଆ ବର୍ଣ୍ଣମାଳା ଅତୀବ ମନୋରମ ପରିଦୃଶ୍ୟ ହେଉଛି। ଏଥିରେ ସ୍କୁଲ ଅଫ ଲର୍ଣ୍ଣିଂ, ଗ୍ରନ୍ଥାଗାର, ହଷ୍ଟେଲ, ରାଧାକୁଣ୍ଡ ପୁଷ୍କରିଣୀ, କାଫେଟେରିଆ, ଫାଉଣ୍ଟେନ୍ ଇତ୍ୟାଦି ରହିଛି। ଏ ସବୁ ନିର୍ମାଣ ଅତ୍ୟନ୍ତ ଚିତ୍ତାକର୍ଷକ ହୋଇଛି। ଏହା ସହିତ ମୁକ୍ତ ପରିବେଶରେ ପାଠ ପଢିବାର ବ୍ୟବସ୍ଥା ମଧ୍ୟ ଅଛି।