ରାଜ୍ୟରେ ବଢୁଛି ତାପମାତ୍ରା

ରାଜ୍ୟରେ କିଛି ସ୍ଥାନରେ କୁହୁଡି ଦେଖା ଦେଉଥିବା ବେଳେ ତାପମାତ୍ରାରେ ମଧ୍ୟ ସାମାନ୍ୟ ବୃଦ୍ଧି ପରିଲକ୍ଷିତ ହୋଇଛି।

ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ରେକର୍ଡ଼

ଭୁବନେଶ୍ବର, ୦୬/୦୨/୨୦୨୪: ରାଜ୍ୟରେ ଏବେ କେତେକ ସ୍ଥାନରେ ଦିନର ତାପମାତ୍ରା ବଢ଼ିବାରେ ଲାଗିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଦକ୍ଷିଣ ଉପକୂଳବର୍ତ୍ତୀ ଅଞ୍ଚଳର ଗୋଟିଏ ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ଏ ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଇଏମଡିର ସୂଚନା ଅନୁଯାୟୀ, ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୪.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ନବରଙ୍ଗପୁରରେ ସର୍ବନିମ୍ନ ତାପମାତ୍ରା ୧୪.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି ଏବଂ ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।