ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ଟି ଡାକ ଟିକେଟ୍ ଉନ୍ମୋଚନ କରିବେ ଧର୍ମେନ୍ଦ୍ର ପ୍ରଧାନ

• ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ ଗୋଟି ଡାକ ଟିକେଟ୍ ଏବଂ ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର କରିବେ ଉଦଘାଟନ • ସମ୍ବଲପୁର ଷ୍ଟେସନରେ ସମ୍ବଲପୁର-ଦର୍ଶନ ନଗର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିବେ • ସମ୍ବଲପୁର ଭେଦିକ ଆନ୍ତର୍ଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର କରିବେ ଲୋକାର୍ପଣ • ରାଷ୍ଟ୍ରୀୟ ଉଦ୍ୟମିତା ବିକାଶ ପରିଯୋଜନାର କରିବେ ଶୁଭାରମ୍ଭ • ଝାରସୁଗୁଡ଼ାର ନବନିର୍ମିତ ମୁଖ୍ୟ ଡାକଘର ଐତିହ୍ୟ ଭବନର କରିବେ ପରିଦର୍ଶନ

ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ଫେବୃୟାରୀ ୧୮ – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି ସମ୍ବଲପୁରରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଲୋକାର୍ପଣ କରିବେ । ଏହାସହ ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ ଗୋଟି ଡାକ ଟିକେଟର ଉନ୍ମୋଚନ ସହ ୪୨ଟି ଡାକଘର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ଶ୍ରୀ ପ୍ରଧାନ ମଙ୍ଗଳବାର ଦିନ ପ୍ରଥମେ ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର – ଦର୍ଶନ ନଗର – ସମ୍ବଲପୁର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିବେ । ସମ୍ବଲପୁର ଭେଦିକ ଆନ୍ତର୍ଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ଲୋକାର୍ପଣ କରିବେ । ପରେ ମାଝିପାଲି ଠାରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବାର କାର୍ଯ୍ୟସୂଚୀ ରହିଛି । ଏହାପରେ ସମ୍ବଲପୁର ପିଏମ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଉଦଘାଟିତ ଓ ଶିଳାନ୍ୟାସ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଡିହେବେ । ଏହି ଦିନ ପ୍ରଧାନମନ୍ତ୍ରୀ ସମ୍ବଲପୁର ପିଏମ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ବହୁମୁଖୀ ସଭାଗୃହର ଶିଳାନ୍ୟାସ, ଫୁଟବଲ ଫର୍ ସ୍କୁଲ୍(ଏଫ୪ଏସ) କାର୍ଯ୍ୟକ୍ରମର ଶୁଭାରମ୍ଭ ବ୍ୟତିତ ଦେଶବ୍ୟାପୀ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟର ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିବେ।

ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଶ୍ରୀ ପ୍ରଧାନ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ ଗୋଟି ଡାକ ଟିକେଟ ଓ ଡାକ ଘର ଉନ୍ମୋଚନ କରିବେ । ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ତଥା ଧନୁଯାତ୍ରା, ନୂଆଖାଇ ପର୍ବ, ସମ୍ବଲପୁରୀ ବନ୍ଧ, ଶୀତଳ ଷଷ୍ଠୀ ଯାତ୍ରା ଓ ସମ୍ବଲପୁରୀ ନୃତ୍ୟ ଉପରେ ଡାକ ଟିକେଟ୍ ଉନ୍ମୋଚିତ ହେବ । ଏହାସହ ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର ଉଦଘାଟନ କରିବେ ।

ଏହା ପରେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁରରେ ପିଏମ ସ୍ୱନିଧି ଯୋଜନା ସମ୍ପର୍କୀତ ରାଷ୍ଟ୍ରୀୟ ଉଦ୍ୟମିତା ବିକାଶ ପରିଯୋଜନାର ଶୁଭାରମ୍ଭ କରିବେ । ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନିକଟରେ ଲୋକାର୍ପିତ ହୋଇଥିବା ଝାରସୁଗୁଡ଼ାର ନବନିର୍ମିତ ମୁଖ୍ୟ ଡାକଘର ଐତିହ୍ୟ ଭବନ ପରିଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।