ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।

ପିଏମଙ୍କ ପ୍ରମୁଖ ସଚିବ ପି.କେ ମିଶ୍ରଙ୍କୁ ଡକ୍ଟରେଟ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି

ଭୁବନେଶ୍ବର, ୨୯/୦୨/୨୦୨୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଥିବା ବେଳେ ଆଜି ସନ୍ଧ୍ୟା ୫ଟା ୩୦ ସୁଦ୍ଧା ଉତ୍କଳ ବିଶ୍ୱବିଦ୍ୟାଳୟରେ ପହଞ୍ଚିଛନ୍ତି। ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି ମହାମହିମ। ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ଭବନରେ ଅନୁଷ୍ଠିତ ହୋଇଥିବା ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଛନ୍ତି। ବିଶ୍ୱବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସମାବର୍ତ୍ତନ ଉତ୍ସବ।

ଏହି ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ୩ ଜଣଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ସହ ୧୦ ଜଣଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରିଛନ୍ତି। ଏମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଡ. ପ୍ରମୋଦ କୁମାର ମିଶ୍ର, ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ହିଣ୍ଡାଲକୋ ଏମଡି ସତୀଶ ପାଲଙ୍କୁ ରାଷ୍ଟ୍ରପତି ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରିଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଉତ୍କଳ ବିଶ୍ୱବିଦ୍ୟାଳୟ ଗସ୍ତକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟରେ ଥିବା ପ୍ରମୁଖ ସ୍ଥାନକୁ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି। ଏଥିସହିତ ସମାବର୍ତ୍ତନ କାର୍ଯ୍ୟକ୍ରମର ସିଧାପ୍ରସାରଣ ଦେଖିବା ପାଇଁ ବିଶ୍ୱବିଦ୍ୟାଳୟ ପରିସରରେ ଏଲ୍ଇଡି ଲଗାଯାଇଛି।