ବିଜେଡ଼ିରେ ଯୋଗଦେଲେ ପୂର୍ବତନ କୁଚିଣ୍ଡା ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିୟା

ପୂର୍ବତନ କୁଚିଣ୍ଡା ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିୟାଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି।

ବିଜେଡିର ମିଶ୍ରଣ ପର୍ବ

ଭୁବନେଶ୍ୱର, ୧୨/୦୪/୨୦୨୪: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ କୁଚିଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ଆଜି ଶଙ୍ଖଭବନ ଠାରେ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ଦେବାଶିଷ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ରାଜେନ୍ଦ୍ର ଛତ୍ରିଆଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ଶ୍ରୀ ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କୁଚିଣ୍ଡା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ପାତ୍ର କହିଥିଲେ । ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମକୁ ଓ ଆମ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ କୁଚିଣ୍ଡା ବସ୍ ୟୁନିୟନର ସଭାପତି ଧିରେନ୍ଦ୍ର କୁମାର ନାଏକ, ଉଦୟ ପ୍ରତାପ ସିଂହ, ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଅକ୍ଷୟ କୁମାର ସାହୁ, ସ୍ୱରାଜ କୁମାର ନାୟକ, ହିଂମାଶୁ ପଟେଲ, ଅୟୋଧ୍ୟା ମହାପାତ୍ର ଓ ଅବିନାଶ ମହାପାତ୍ରଙ୍କ ସହ ବହୁ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।