ବିଜେଡ଼ିରେ ଯୋଗଦେଲେ ଯାଜପୁର ନିର୍ବାଚନମଣ୍ଡଳୀର ବହୁ କଂଗ୍ରେସ ନେତା ଓ କର୍ମୀ

ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।

ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଯୋଗଦାନ ସମାରୋହ

ଭୁବନେଶ୍ୱର, ୧୭/୦୫/୨୦୨୪: ଯାଜପୁର ନିର୍ବାଚନମଣ୍ଡଳୀର ବହୁ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ଯୁବ ବିଜେଡି ସାଧାରଣ ସମ୍ପାଦକ ସୌମ୍ୟ ରଂଜନ ଧଳଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଶତାଧିକ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ଧଳ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଯାଜପୁର ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ଧଳ କହିଥିଲେ । ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା କଂଗ୍ରେସ ନେତାମାନେ ନିଜ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବରେ ଜିଲ୍ଲା ଯୁବ କଂଗ୍ରେସ ସଭାପତି ସନ୍ତୋଷ କୁମାର ବେହେରା, ବଳରାମ ବେହେରା, ଚନ୍ଦନ ବେହେରା, ସରଧେନ୍ଦୁ ପତି, ସଂଜୟ ବେହେରା, ପ୍ରଫୁଲ୍ଲ ସାହୁ ଓ ଶୁଭାଶିଷ ଦାସଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।