ବଙ୍ଗୋପସାଗରରେ ଭୀଷଣ ରୂପ ନେଲା ବାତ୍ୟା ‘ରେମାଲ’

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ 'ରେମାଲ୍' ମଧ୍ୟରାତ୍ରି ସୁଦ୍ଧା ପଶ୍ଚିମବଙ୍ଗ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।

୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର, ୨୬/୦୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ରେମାଲ୍’ ମଧ୍ୟରାତ୍ରି ସୁଦ୍ଧା ପଶ୍ଚିମବଙ୍ଗ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ ରବିବାର ଅପରାହ୍ନ ସାଢ଼େ ୪ଟା ପର୍ଯ୍ୟନ୍ତ ଓଡ଼ିଶାର ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

ପାଣିପାଗ ବିଭାଗ ର ସୂଚନା ଅନୁଯାୟୀ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବାଂଲାଦେଶର ଖେପୁପଡ଼ାଠାରୁ ପ୍ରାୟ ୨୨୦ କିଲୋମିଟର ଦକ୍ଷିଣ-ଦକ୍ଷିଣପଶ୍ଚିମ, ମଙ୍ଗଲା (ବାଂଲାଦେଶ) ଠାରୁ ୨୬୦ କିଲୋମିଟର ଦକ୍ଷିଣ, ସାଗର ଦ୍ୱୀପପୁଞ୍ଜ (ପଶ୍ଚିମବଙ୍ଗ) ଠାରୁ ୨୧୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ କ୍ୟାନିଂ (ପଶ୍ଚିମବଙ୍ଗ)ର ୨୩୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବରେ ରହିଛି। ଏହା ଘନୀଭୂତ ହୋଇ ବାଂଲାଦେଶ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରି ଘଣ୍ଟା ପ୍ରତି ସର୍ବାଧିକ ୧୧୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ‘ରେମାଲ’ ପ୍ରଭାବରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, ଗଜପତି, ଗଞ୍ଜାମ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼, କନ୍ଧମାଳ, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡିରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।