ଗରମରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ସମ୍ଭାବନା

ଭୁବନେଶ୍ବର, ୧୩/୦୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁଁ ପ୍ରବଳ ତାତି ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଏବେ ସାମାନ୍ୟ ଆଶ୍ୱସ୍ତି ମିଳିବ। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବାର ସମ୍ଭାବନା ରହିଛି। ଓଡ଼ିଶା ବ୍ୟତୀତ ମହାରାଷ୍ଟ୍ର, ଛତିଶଗଡ଼, ଆନ୍ଧ୍ରପ୍ରଦେଶକୁ ମଧ୍ୟ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।

ଜୁନ୍ ୧୩ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁରରେ ପ୍ରବଳ ବର୍ଷା ହେବା ସହ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଅନୁଗୁଳ, କଟକ, ସୁନ୍ଦରଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦ୍ରାପଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଜୁନ୍ ୧୪ ତାରିଖରେ କୋରାପୁଟ, ଗଜପତି, ରାୟଗଡ଼ା ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୫ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୁଳ ଓ ଢେଙ୍କାନାଳର ଗୋଟିଏ ଦୁଇଟି ସ୍ଥାନରେ ଏବଂ ୧୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ ଓ ସୋନପୁରରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଜୁନ୍ ୧୭ ତାରିଖରେ ଗଞ୍ଜାମ, ଗଜପତି ଏବଂ ନୟାଗଡ଼ର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।