ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ଜୁନ ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ ଗସ୍ତରେ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା।

ରାଷ୍ଟ୍ରପତିଙ୍କୁ ପୁରୀ ରଥଯାତ୍ରାକୁ ନିମନ୍ତ୍ରଣ

ନୂଆଦିଲ୍ଲୀ, ୨୭/୦୬: ଜୁନ ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ ଗସ୍ତରେ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା। ଦିଲ୍ଲୀ ଗସ୍ତରେ ଥିବା ବେଳେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ। ରାଜ୍ୟ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବା ସହ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିଲେ।

ସୂଚନାନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ଦିଲ୍ଲୀରୁ ଡାକରା ଆସିଥିଲା। ଗତ କାଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସେମାନଙ୍କୁ ଫୋନ କଲ ଆସିଥିଲା। ଯାହା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଦିଲ୍ଲୀ ଅଭିମୁଖେ ବାହାରିଥିଲେ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବା ପରେ ସନ୍ଧ୍ୟା ୭ଟାରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, ସଡକ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଗୃହ ମନ୍ତ୍ରୀ ଅମିତ ଶାହ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।