ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି।

୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଇଏମଡି

ଭୁବନେଶ୍ବର, ୨୯/୦୬: ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ଅନୁମାନ କରାଯାଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ଏହି ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

ଆସନ୍ତା ୩୦ ତାରିଖ ପାଇଁ କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ସମେତ ୪ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ଏହା ସହ ମତ୍ସ୍ୟଜୀବୀମାନଙ୍କୁ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।