ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ମହାପ୍ରଭୁଙ୍କ ଆଶୀର୍ବାଦ କାମନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ, ୦୭/୦୭: ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ରଥଯାତ୍ରା ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

“ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି। ଆଜି ଦେଶ ତଥା ବିଶ୍ଵର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରିରହିଛନ୍ତି। ଏହି ମହାପର୍ବ ଅବସରରେ ମୁଁ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି” ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ୍ସ ହ୍ୟାଣ୍ଡେଲରେ ଶୁଭେଚ୍ଛା ଜଣାଇଛନ୍ତି।

“ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଆମ ଉପରେ ସର୍ବଦା ରହୁ” ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ୍ସରେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି।

“ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁଙ୍କ ଅପାର କରୁଣା ଲାଭ କରି ଆମ ରାଜ୍ୟ ପ୍ରତିଟି କ୍ଷେତ୍ରରେ ବିକାଶର ଶୀର୍ଷକୁ ପହଁଚୁ ଏବଂ ସମସ୍ତଙ୍କ ସହାଭାଗିତାରେ ନୂତନ ସମୃଦ୍ଧ ଓଡ଼ିଶା ଗଠନ ହେଉ, ଏତିକି ପ୍ରାର୍ଥନା” ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।

“ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ପରିପୂର୍ଣ୍ଣ ହେଉ” ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏକ୍ସ ହ୍ୟାଣ୍ଡେଲରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।