ଆଗାମୀ ୨ ଦିନ ଯାଏଁ ପ୍ରବଳ ବର୍ଷା

ସତର୍କ ରହିବାକୁ ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର, ୦୧/୦୮: ଓଡ଼ିଶାକୁ ନାହିଁ ସୁନାମୀ ଭୟ। ଏଯାଏଁ ପାଣିପାଗ ବିଭାଗ ପକ୍ଷରୁ ସୁନାମୀ ନେଇ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ। ସ୍ଥାନୀୟ ଗଣମାଧ୍ୟମରେ ପ୍ରସାରିତ ହେଉଥିବା ଖବର ତଥ୍ୟ ବିହୀନ। ଏ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ସତର୍କବାଣୀ ଜାରି କରାଯାଇନାହିଁ ବୋଲି ଏସ୍ଆରସି ସୂଚନା ଦେଇଛନ୍ତି।

ସେହିପରି ଭାରତୀୟ ପାଣିପାଗ ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ଦିନ ଯାଏଁ ପ୍ରବଳ ବର୍ଷା ଜନିତ ପରିସ୍ଥିତିକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ୪ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବଲାଙ୍ଗୀର, ମୟୂରଭଞ୍ଜ, ସମ୍ବଲପୁର ଓ ପୁରୀ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଗଷ୍ଟ ୧ ଓ ୨ ତାରିଖରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅଗଷ୍ଟ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

୧ ତାରିଖରେ ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୋନପୁର, ସମ୍ବଲପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ସୁନ୍ଦରଗଡ଼, ସମ୍ବଲପୁର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।