ଗଞ୍ଜାମ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା

ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

ଆହତଙ୍କୁ ୧ ଲକ୍ଷର ଆର୍ଥିକ ସହାୟତା

ଭୁବନେଶ୍ବର, ୨୨/୮: ଗଞ୍ଜାମ ଜିଲ୍ଲା ସମରଝୋଳ ଛକ ନିକଟରେ ସଡ଼କ ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଗୁରୁତର ଆହତମାନଙ୍କୁ ୧ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଆହତମାନଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହିଭଳି ବିଜେଡ଼ି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ୍ସ ହ୍ୟାଣ୍ଡେଲରେ ନବୀନ ଲେଖିଛନ୍ତି ଯେ ବ୍ରହ୍ମପୁର ସମରଝୋଲ ଛକ ନିକଟରେ ତେଲ ଟ୍ୟାଙ୍କର-ବସ୍ ଦୁର୍ଘଟଣାରେ ଜୀବନ ହାନୀ ବିଷୟରେ ଜାଣି ମୁଁ ଦୁଃଖିତ। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ଏବଂ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରୁଛି। ଏଥିସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ସମବେଦନା ଜଣାଉଛି ବୋଲି ନବୀନ କହିଛନ୍ତି।