ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।

୩ ଜିଲ୍ଲାକୁ ରେଡ୍ ଓ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର, ୨୯/୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ଏହା ଅଧିକ ଘନୀଭୂତ ହେବ। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏ ନେଇ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।ଏହି ଜିଲ୍ଲା ଗୁଡିକରେ ୭୦ରୁ ୨୦୦ ମି.ମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାବ୍ୟତୀତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା କରାଯାଇଛି। ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବରଗଡ, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ପାଇଁ ୩ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଏବଂ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ମାଲକାନଗିରି, କୋରାପୁଟ ଏବଂ ଗଜପତି ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ୪ଟି ଜିଲ୍ଲା ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ହେବାର ଆଶଙ୍କା କରି ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।