୨୪ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଅକ୍ଟୋବର ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଦୁଇ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଇଏମଡି

ଭୁବନେଶ୍ୱର, ୧୮/୧୦: ଅକ୍ଟୋବର ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ। ଏହା ୨୧ ଓ ୨୨ ତାରିଖ ଆଡକୁ ଅଧିକ ଘନୀଭୂତ ହୋଇ ୨୨ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏ ନେଇ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ଓ ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ବ୍ୟତୀତ ୨୦ରେ ଦକ୍ଷିଣ ଓଡ଼ିଶା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

ସେହିପରି ୨୧ ତାରିଖରେ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ୨୨ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।

୨୩ରେ ଉପକୂଳ ଓଡ଼ିଶା, କୋରାପୁଟ, ମାଲକାନଗିରି, ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବା ବେଳେ ୨୪ରେ ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ଏବଂ କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।