ପରଲୋକରେ ପୂର୍ବତନ କଂଗ୍ରେସ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀ

ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି।

ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର, ୦୫/୧୧: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ଯକୃତ ଜନିତ ରୋଗରେ ପୀଡ଼ିତ ଥିଲେ ଏବଂ କିଛି ଦିନ ତଳେ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ୪୨ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି।

ସେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଅନନ୍ତ ରାମ ମାଝୀଙ୍କ ପୁଅ ଏବଂ ରାୟଗଡ଼ା ବିଧାୟିକା ପ୍ରାର୍ଥୀ ଅନୁସୂୟା ମାଝୀଙ୍କ ଭାଇ ଥିଲେ। କଂଗ୍ରେସ ନେତା ଶ୍ରୀ ମାଝୀ ୨୦୦୮ ଉପନିର୍ବାଚନରେ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ବିଜୟୀ ହୋଇଥିଲେ।

ଶ୍ରୀ ମାଝୀଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।