ଭୁବନେଶ୍ବର, ୦୫/୧୧: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିରେ ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣାର ରାଜସ୍ୱ ବିଭାଗୀୟ କମିଶନର (ଆରଡିସି) ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଏହି ଘଟଣାର ତଦନ୍ତ କରିବେ ଦକ୍ଷିଣାଞ୍ଚଳ ଆରଡିସି ରୂପାରୋଶନ ସାହୁ।
ସୂଚନାଯୋଗ୍ୟ, ଗତ ଅକ୍ଟୋବର ୩୦ ତାରିଖରେ ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ମଣ୍ଡିପଙ୍କ ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଥିଲା। ସମସ୍ତ ଗୁରୁତରଙ୍କୁ ଚିକିତ୍ସା ପାଇଁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଏହା ପୂର୍ବରୁ ମୃତ ମହିଳାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟରେ ସ୍ପଷ୍ଟ ହୋଇଥିଲା ଯେ, ଆମ୍ବ ଟାକୁଆ ଜାଉ ଖାଇବା ଦ୍ୱାରା ନୁହେଁ, ବରଂ ଫୁଡ୍ ପଏଜନିଂ ଯୋଗୁଁ ମୃତ୍ୟୁ ହୋଇଛି।