ଭୁବନେଶ୍ୱରରେ ମହାମହିମ ରାଷ୍ଟ୍ରପତି

ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଅନାବରଣ କଲେ ରାଷ୍ଟ୍ରପତି

ଭୁବନେଶ୍ୱର, ୦୩/୧୨: ଆଜିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ପୂର୍ବରୁ ଉପସ୍ଥିତ ଥିବା ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ମେୟର ସୁଲୋଚନା ଦାସ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ପରେ ନିଳାଦ୍ରୀ ବିହାର ଅଭିମୁଖେ ବାହାରିଥିଲେ ରାଷ୍ଟ୍ରପତି। ସେଠାରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂହଦେଓ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ ରହି ସ୍ୱାଗତ କରିଥିଲେ। ନିଳାଦ୍ରୀ ବିହାରରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଅନାବରଣ କରିଛନ୍ତି ରାଷ୍ଟ୍ରପତି। ଏହା ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଉଦ୍ଦେଶ୍ୟରେ ହୋଇଥିବା ଉଦ୍ୟାନକୁ ବୁଲି ଦେଖିଛନ୍ତି।

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ଭୁବନେଶ୍ବରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଷ୍ଟ୍ରପତିଙ୍କ ସୁରକ୍ଷା ଦାୟିତ୍ବରେ ୪୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିଛନ୍ତି। ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିବା ସ୍ଥାନରେ ନୋ ଫ୍ଲାଇଂ ଜୋନ ଭାବେ ଘୋଷଣା କରାଯିବା ସହ ସବୁଠି କଡ଼ା ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି।

ଆଜିର କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରିଯାପନ କରିବେ। ଆସନ୍ତା କାଲି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ନୌସେନା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେବେ। ଡିସେମ୍ବର ୫ ତାରିଖରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୪୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ସେହିଦିନ ସେ ଭୁବନେଶ୍ୱରରେ ନୂଆ ଜୁଡିସିଆଲ କୋର୍ଟ କମ୍ପ୍ଲେକ୍ସକୁ ଉଦଘାଟନ କରିବେ। ଡିସେମ୍ବର ୬ ତାରିଖରେ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ। ସେଦିନ ରହି ଡିସେମ୍ବର ୭ ତାରିଖ ଦିନ ୧୨ଟା ୩୫ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।