ଉତ୍ତମ ମହାନ୍ତିଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୋକ ପ୍ରକାଶ
କଳା ଜଗତରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ୱର, ୨୮/୦୨: ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିବା ସହ ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି।
ରାଷ୍ଟ୍ରପତି ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, “ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଦୁଃଖିତ। ଶ୍ରୀ ମହାନ୍ତି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ଅଭିନୟ କରି ଅଗଣିତ ଦର୍ଶକଙ୍କ ହୃଦୟ ଜିତିଥିଲେ। ଓଡ଼ିଆ ଚଳଚ୍ଚିତ୍ରର ବିକାଶରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ। ଜଣେ ମିଷ୍ଟଭାଷୀ ଏବଂ ଅମାୟିକ ଭଦ୍ର ବ୍ୟକ୍ତି ଭାବରେ ସେ ସମସ୍ତଙ୍କର ପ୍ରିୟର ପାତ୍ର ଥିଲେ। ତାଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି। ତାଙ୍କ ପରିବାର ଓ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା।”
ଉତ୍ତମ ମହାନ୍ତିଙ୍କ ବିୟୋଗ ଖବର ପାଇ ରାଜ୍ୟପାଳ ହରି ବାବୁ କାମ୍ଭମପତି ଦୁଃଖ ପ୍ରକାଶ କରିବା ସହ ତାଙ୍କ ଆତ୍ମାର ସଦଗତି କାମନା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
ସେହିପରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଗଭୀର ଶୋକ ପ୍ରକାଶ କରି ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, “ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ମର୍ମାହତ। କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଅନେକ ଚଳଚ୍ଚିତ୍ରରେ ସେ ଛାଡ଼ି ଯାଇଥିବା ଛାପ ଲୋକଙ୍କ ହୃଦୟରେ ତାଙ୍କୁ ଚିର ଅମର କରି ରଖିବ। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।”