ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଗଭୀର ଶୋକ ପ୍ରକାଶ କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି
ନୂଆଦିଲ୍ଲୀ, ୧୭/୦୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ଡ. ଦେବେନ୍ଦ୍ର ପ୍ରଧାନଙ୍କର ଆଜି ପରଲୋକ ହୋଇଯାଇଛି। ଦୀର୍ଘ ଦିନ ଧରି ଅସୁସ୍ଥତା ରହିବା ପରେ ଆଜି ନୂଆଦିଲ୍ଲୀସ୍ଥିତ ବାସଭବନରେ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ତଥା ଦେଶର ରାଜନୀତି କ୍ଷେତ୍ରରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।
ଡ଼ଃ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ତାଙ୍କ ବିୟୋଗ ସମୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସ୍ୱର୍ଗତ ପ୍ରଧାନଙ୍କ ପୁଅ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।
ସ୍ୱର୍ଗତ ପ୍ରଧାନଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ନିଜ ଶୋକ ବାର୍ତ୍ତାରେ କହିଛନ୍ତି, “ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ। ରାଜ୍ୟ ବିଜେପିର ସଭାପତି ଭାବେ ଦୃଢ଼ ନେତୃତ୍ୱ ନେଇ ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ। ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ। ଏହି ବର୍ଷୀୟାନ ବ୍ୟକ୍ତିତ୍ୱଙ୍କ ବିୟୋଗରେ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା। ଲୋକଙ୍କ କଲ୍ୟାଣ ଏବଂ ରାଜ୍ୟର ବିକାଶ ପାଇଁ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ। ତାଙ୍କ ସୁପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ସମସ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି। ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତୁ। ପରଲୋକଗତ ଆତ୍ମାର ସଦ୍ଗତି କାମନା କରୁଛି।”