ଭୁବନେଶ୍ୱର, ୧୩/୦୪: ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ଆଜି ଓଡ଼ିଆ ନବବର୍ଷ କ୍ୟାଲେଣ୍ଡର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ହୋଇଥିବା ଓଡ଼ିଆ ନବବର୍ଷ କ୍ୟାଲେଣ୍ଡରକୁ ପ୍ରଥମେ ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଥିଲା।
ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତଙ୍କ ପକ୍ଷରୁ ସ୍ୱାଗତ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ଼ଃ ଅରବିନ୍ଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତାକାଲି ଓଡ଼ିଆ ନବବର୍ଷ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଆମ ନୂଆ ଓଡ଼ିଆ ବର୍ଷର କ୍ୟାଲେଣ୍ଡର ଲୋକାର୍ପିତ ହୋଇଛି। ଏହା ଆଗରୁ ଦେବାର୍ପଣ ହୋଇସାରିଛି। ରାଜ୍ୟ ସରକାର ଓଡ଼ିଆ ନବବର୍ଷକୁ ବହୁ ଆଡ଼ମ୍ବରରେ ପାଳନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।