ଓଡ଼ିଶାର ୪ ଜଣ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ

ଡ଼ଃ ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ, ୨୮/୦୪: ସୋମବାର ରାଷ୍ଟ୍ରପତି ଭବନର ଗଣତନ୍ତ୍ର ମଣ୍ଡପରେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ୪ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

କଳା କ୍ଷେତ୍ରରେ ଅବଦାନ ପାଇଁ ସ୍ୱୀକୃତିପ୍ରାପ୍ତ ଢେଙ୍କାନାଳର ପ୍ରସିଦ୍ଧ ମୂର୍ତ୍ତିଶିଳ୍ପୀ ଅଦ୍ୱେତ ଚରଣ ଗଡ଼ନାୟକଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଛି। ଭୁବନେଶ୍ୱର ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଅଶୋକ କୁମାର ମହାପାତ୍ର ମେଡିସିନ୍ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସମ୍ମାନିତ ହୋଇଛନ୍ତି। ସେହିପରି ପ୍ରସିଦ୍ଧ ଓଡ଼ିଶୀ ନୃତ୍ୟଶିଳ୍ପୀ ଦୁର୍ଗା ଚରଣ ରଣବୀର ଏବଂ ବିଶିଷ୍ଟ ସାହିତ୍ୟିକା ପ୍ରତିଭା ଶତପଥୀଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଅନେକ କେନ୍ଦ୍ରମନ୍ତ୍ରୀ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି ସମାରୋହରେ ୨୦୨୫ ପାଇଁ ୪ ଜଣଙ୍କୁ ପଦ୍ମବିଭୂଷଣ, ୧୦ ଜଣଙ୍କୁ ପଦ୍ମଭୂଷଣ ଓ ୫୭ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା।