ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ରାଜ୍ୟରେ କାଲିଠୁ ପ୍ରବଳ ବର୍ଷା ସମ୍ଭାବନା

ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏ ବ୍ୟାପିଛି। ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୯ ତାରିଖରୁ ରାଜ୍ୟରେ ବିସ୍ତୃତ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

ତେବେ ୫ ଦିନ ଯାଏ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ୯ ତାରିଖ ସକାଳ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।

ସେପ୍ଟେମ୍ବର ୯ରୁ ୧୨ ତାରିଖ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଖୋର୍ଧା, ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଅତିପ୍ରବଳ ବର୍ଷା ହେବା ଅଞ୍ଚଳରେ ଭୂସ୍ଖଳନ ହେବା ସହିତ ତଳିଆ ଅଞ୍ଚଳରେ ପାଣି ଜମିବା, କଚ୍ଚା ରାସ୍ତା ଓ ଘର ଭାଙ୍ଗିବା ପରି ସମସ୍ୟା ଉପୁଜିପାରେ। ବର୍ଷା ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷାର ପ୍ରଭାବ ରହିବ।