ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ

ଭୁବନେଶ୍ୱର, ୧୪/୦୭: ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭବ୍ୟ ସ୍ୱାଗତ କରାଯାଇଛି। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ଥିଲେ। ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି। ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ହରିବାବୁ କମ୍ଭମପାଟି, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସହ ଅନ୍ୟ ପ୍ରମୁଖ ବ୍ୟକ୍ତି ବିଶେଷ ଉପସ୍ଥିତ ଅଛନ୍ତି। ରାଷ୍ଟ୍ରପତି ୬୪୩ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରିବେ।

ରାଷ୍ଟ୍ରପତି ଏଠାରୁ ଯାଇ ରାଜଭବନରେ ରାତ୍ରୀଯାପନ କରିବେ। ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହାପରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଅପରାହ୍ନରେ ସାରଳା ଭବନ ଯାଇ ଆଦିକବି ସାରଳା ଦାସଙ୍କ ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ହେବାକୁ ଥିବା ସାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହ କଳିଙ୍ଗ ପୁରସ୍କାର ୨୦୨୪ ପ୍ରଦାନ କରିବେ। ମଙ୍ଗଳବାର ସନ୍ଧ୍ୟାରେ ଦିଲ୍ଲୀ ଫେରି ଯିବାର କାର୍ଯ୍ୟକ୍ରମ ରହିଛି।