ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ପରଲୋକ

ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର, ୨୫/୮: ବାଲିଗୁଡ଼ା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କର ପରଲୋକ ଘଟିଛି। ଗତ ରବିବାର ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

୨୦୦୪ ଏବଂ ୨୦୦୯ରେ ଦୁଇଥର ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ କୁଟିଆ କନ୍ଧ ସମ୍ପ୍ରଦାୟର ଜଣେ ପ୍ରମୁଖ ନେତା ଥିଲେ ଏବଂ ଏହି ସମ୍ପ୍ରଦାୟର ପ୍ରଥମ ସ୍ନାତକୋତ୍ତର ଥିଲେ। ଜଣେ ରାଜନେତା ହେବା ବ୍ୟତୀତ ସେ ଜଣେ ଲେଖକ ମଧ୍ୟ ଥିଲେ ଏବଂ କୁଇ ଭାଷାରେ ତିନୋଟି ପୁସ୍ତକ ରଚନା କରିଥିଲେ।

କରେନ୍ଦ୍ର ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଅନ୍ୟ ଅନେକ ପ୍ରମୁଖ ନେତା କ୍ୟାପିଟାଲ ହସ୍ପିଟାଲରେ ଦିବଙ୍ଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି, “ଆମ ଦଳର ବରିଷ୍ଠ ନେତା ତଥା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।”

ତାଙ୍କ ବିୟୋଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ନବୀନ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି, “ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ ସେବା ତଥା ଉନ୍ନତିରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାର ସଦଗତି କାମନା କରୁଛି।”