ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦ ଲୋକାର୍ପିତ
ଏହି ଯୋଜନାରେ ୫ ବର୍ଷରେ ୩ ହଜାର ନୂଆ ଚେକ୍ ଡ୍ୟାମ୍ ଓ ୨ ହଜାର ପୁରୁଣା ଚେକ୍ ଡ୍ୟାମ୍ର ପୁନଃରୁଦ୍ଧାର କରାଯିବ ୨୪୮୮ କୋଟି ଟଙ୍କାର ଜଳ ସେଚନ ପ୍ରକଳ୍ପର ଶୁଭାରମ୍ଭ ୪୨୫ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ, ୨୦୬୩ କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପିତ
ଆଗକୁ ଓଡ଼ିଶାରେ ଭିତ୍ତିଭୂମି ନିର୍ମାଣରେ ଆନ୍ଦୋଳନ ହେବାକୁ ଯାଉଛି, ଇଞ୍ଜିନିୟର୍ ମାନଙ୍କର ପ୍ରମୁଖ ଭୂମିକା ରହିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୧/୧୨: ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ମଧ୍ୟ ଲୋକାର୍ପିତ କରିଥିଲେ । ଏହି ଯୋଜନା ପାଇଁ ୨୭୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ଏହାଦ୍ୱାରା ଆଗାମୀ ୫ ବର୍ଷରେ ୩ ହଜାର ନୂଆ ଚେକ୍ ଡ୍ୟାମ୍ ନିର୍ମାଣ ହେବା ସହିତ ୨ ହଜାର ପୁରୁଣା ଚେକ୍ ଡ୍ୟାମ୍ର ପୁନଃରୁଦ୍ଧାର କରାଯିବ । ଏହାଦ୍ୱାରା ରାଜ୍ୟରେ ପ୍ରାୟ ୪୮ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିପାରିବ ।
ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନାରେ ଆଜି ରାଜ୍ୟର ୨୨ ଟି ଜିଲ୍ଲାରେ ୧୦୧ ଟି ଚେକ୍ଡ୍ୟାମ୍ ଲୋକାର୍ପିତ କରାଗଲା। ଏଥିପାଇଁ ୭୦ କୋଟି ୨୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି । ଏହାଦ୍ୱାରା ୨୪୧୬ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିବ ।
ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନା ୩.୦ ରେ ଆଜି ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲାରେ ୨୦୧ ଟି ଚେକ୍ଡ୍ୟାମ୍ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖାଯାଇଛି । ପ୍ରାୟ ୧୬୦ କୋଟି ଟଙ୍କା ବିନିଯୋଗରେ ଏହା ନିର୍ମାଣ କରାଯିବ ଏବଂ ଏହାଦ୍ୱାରା ୫୩୪୨ ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବ ।
ଆଡ଼ିବନ୍ଧ ଯୋଜନା ସହିତ ଆଉ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି । ୧୨୫ କୋଟି ଟଙ୍କା ବିନିଯୋଗରେ ମୟୁରଭଞ୍ଜ ଓ ଗଜପତି ଜିଲ୍ଲାରେ ଦୁଇଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପର ଉଦ୍ଘାଟନ କରାଯାଇଛି । ଏହାଦ୍ୱାରା ୪ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବା ସହିତ ପ୍ରାୟ ୧୦ ହଜାର ଚାଷୀ ଉପକୃତ ହେବେ । ଏହା ସହିତ ଆନନ୍ଦପୁର ବ୍ୟାରେଜର ଶାଳନ୍ଦୀ ବାମପାର୍ଶ୍ୱ କେନାଲର ପ୍ରାୟ ୧୪ କିଲୋମିଟର ଅଞ୍ଚଳରୁ ବାଲେଶ୍ୱର ଜିଲ୍ଲାର ପ୍ରାୟ ୧୦ ହଜାର ହେକ୍ଟର ଚାଷ ଜମିକୁ ଭୂ-ତଳ ଜଳସେଚନ ବ୍ୟବସ୍ଥାର ଲୋକାର୍ପଣ କରାଯାଇଛି ।
ଅନୁଗୋଳ ଜିଲ୍ଲାର ଅଙ୍ଗପଡ଼ା ଠାରେ ୩୩ କୋଟି ଟଙ୍କା ବିନିଯୋଗରେ ଏକ ନୂତନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୩୫୫ କୋଟି ଟଙ୍କା ବିନିଯୋଗରେ ସମ୍ୱଲପୁର ଜିଲ୍ଲାରେ ୬ ଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୧,୫୧୫ କୋଟି ଟଙ୍କା ବିନିଯୋଗରେ ରାଜ୍ୟର ୨୦ ଟି ଜିଲ୍ଲାରେ ୨୮, ୩୦୨ ଟି ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।
ଆଜି ଉଦ୍ଘାଟିତ ହୋଇଥିବା ଜଳସେଚିତ ପ୍ରକଳ୍ପ ଗୁଡ଼ିକ ଦ୍ୱାରା ୧୬,୨୫୨ ହେକ୍ଟର ଚାଷଜମିରେ ଜଳସେଚନର ସୁବିଧା ସହିତ ୬୪ ହଜାର ଚାଷୀ ଭାଇ ଉପକୃତ ହେବେ । ସେହିପରି ଭିତ୍ତିପ୍ରସ୍ତର ରଖାଯାଇଥିବା ପ୍ରକଳ୍ପ ଦ୍ୱାରା ୧, ୫୫,୩୬୦ ହେକ୍ଟର ଜମିରେ ଜଳସେଚନ ସୁବିଧାର ବିକାଶ ହେବ ଏବଂ ପ୍ରାୟ ୬୩ ହଜାର କୃଷକ ଉପକୃତ ହେବେ। ସମୁଦାୟ ପ୍ରାୟ ୧ ଲକ୍ଷ ୨୭ ହଜାର କୃଷକ ଉପକୃତ ହେବେ।
କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର କହିଥିଲେ ଯେ, ଉନ୍ନତି ପାଇଁ ନିଯୁକ୍ତି ଆବଶ୍ୟକ ଏବଂ ଏହି କଥାକୁ ମୁଖ୍ୟମନ୍ତ୍ରୀ ହୃଦୟଙ୍ଗମ କରି ତ୍ୱରିତ ଗତିରେ ଆଜି ଅନେକ ଖାଲି ପଦବୀ ପୂରଣ କରୁଛନ୍ତି।
ସତ୍ୟନିଷ୍ଠା, ପେଶାଦାରୀତା ଓ ନିଷ୍ଠାର ସହ ଆଜିଠାରୁ ଭବିଷ୍ୟତ ପାଇଁ ମାନସିକତା ନେଇ କାର୍ଯ୍ୟ କରିବାକୁ ପୂର୍ତ୍ତ ବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ନବ ନିଯୁକ୍ତ ମାନଙ୍କୁ କହିଥିଲେ ।
କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତଭାଷଣ ଦେଇଥିବା ବେଳେ, ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଧନ୍ୟବାଦ ଦେଇଥିଲେ ।