ଏସସିବି ଅଗ୍ନିକାଣ୍ଡ: ସ୍ଥିତି ସମୀକ୍ଷା ପରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

କଟକ, ୧୬/୦୩: ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟିବାର ପରେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମେଡିକାଲ ବୁଲି ଦେଖିବା ସହ ଅଗ୍ନିକାଣ୍ଡ ସ୍ଥଳ ଅନୁଧ୍ୟାନ କରିଛନ୍ତି। ଏଥିସହ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କରିଛନ୍ତି। ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ଥିଲେ ୨୩ ରୋଗୀ। ୨୩ ରୋଗୀଙ୍କ ସ୍ଥାନାନ୍ତର ସମୟରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି।

ମୁଖ୍ୟମନ୍ତ୍ରୀ ଚିକିତ୍ସିତ ହେଉଥିବା ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନଙ୍କୁ ଭେଟି ଆଶ୍ଵାସନା ଦେଇଛନ୍ତି । ଆଇ.ସି.ୟୁରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗ ତଥା ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ରିପୋର୍ଟ ଆସିବା ପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଗତ କାଲି ରାତିରେ ଏସସିବି ମେଡିକାଲର ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏକାଧିକ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ ସ୍ଥାନାନ୍ତର କରାଯାଇଛି। ଆଇସିୟୁରେ ୨୩ ଜଣ ରୋଗୀ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କୁ ସ୍ଥାନାନ୍ତର ବେଳେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।