ଜୁଲାଇ ୩ରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଗଞ୍ଜାମ, ଗଜପତି, ବରଗଡ଼, ଦେବଗଡ଼, ଅନୁଗୁଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସେହିପରି ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ ରାଜ୍ୟରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବିଶେଷ ବର୍ଷା ନାହିଁ । ହେଲେ ଆସନ୍ତା ୩ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଡ. ସାହୁ ଆକଳନ କରିଛନ୍ତି ।