ପୁରୀରେ ରଥଯାତ୍ରା ପାଇଁ ମୁତୟନ ହେବେ ୧୮୦ ପ୍ଲାଟୁନ୍ ପୋଲିସ ଫୋର୍ସ: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ

ପୁରୀ: ତିନି ଦିନ ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଜଳ, ସ୍ଥଳ ଓ ଆକାଶ ମାର୍ଗରୁ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯିବ। ସିସିଟିଭି କ୍ୟାମେରା ଓ କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ତୀକ୍ଷ୍ଣ ନଜର ରଖାଯିବ। ଦୀର୍ଘ ୨ ବର୍ଷ ପରେ ଭକ୍ତଙ୍କ ଗହଣରେ ଚଳିତବର୍ଷ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ୧୦ ରୁ ୧୫ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ସୋମବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଏଡିଜି, ଆଇଜି ଓ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ ପୋଲିସ ସେବା ମନୋଭାବ ନେଇ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରାଥମିକତା ଦିଆଯାଇଛି। ରେଳବାଇ ଓ ତଟ ସୁରକ୍ଷା ସହ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ସେହିପରି ପହଣ୍ଡି, ରଥଟଣା, ଜନଗହଳି ନିୟନ୍ତ୍ରଣ, ଭିଆଇପିଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ବଛା ବଛା ୧୦୦୦ ଅଧିକାରୀ ମୁତୟନ ହେବେ।

ସେହିପରି ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ସ୍ବତନ୍ତ୍ର ଟ୍ରାଫିକ୍ ମୋବିଲିଟି ପ୍ଲାନ୍ ହୋଇଛି। ବଡଦାଣ୍ଡ ସହ ପୁରୀ ସହରକୁ ୧୦ଟି ଜୋନ ଓ ୨୯ଟି ସେକ୍ଟରରେ ବିଭକ୍ତ କରାଯାଇଛି। କଣ୍ଟ୍ରୋଲ ରୁମ୍ ସହର ଭିତରେ ଦୁଇଟି ଓ ସହର ବାହାରେ ଗୋଟିଏ ଭାଗରେ ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ସହର ଭିତରେ ଓ ବାହାରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ସହ ଖୁବଶୀଘ୍ର ରୁଟ୍ ଚାର୍ଟ ପ୍ରସ୍ତୁତ ହେବ।