ଆସନ୍ତାକାଲି ପ୍ରବଳ ବର୍ଷା ଓ ପବନ ସମ୍ଭାବନା

ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୨/୦୭: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଜୁଲାଇ ୧୩ (ସୋମବାର) ଦିନ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ବହିବାର ସମ୍ଭାବନା ରହିଛି।

ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଏବଂ ଝଡ଼ ପବନ ବହିପାରେ।

ସେହିପରି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। ବଜ୍ରପାତ ଓ ଝଡ଼ ସମୟରେ ସତର୍କ ରହିବାକୁ ଆଇଏମଡି ପରାମର୍ଶ ଦେଇଛି।