୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା

ଭୁବନେଶ୍ୱର: ସାରା ରାଜ୍ୟରେ ଏକ ଘୂର୍ଣ୍ଣି-ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି । ତେବେ ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛନ୍ତି।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୮ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, ମୟୂରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ତେବେ ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଗଜପତି, ଗଂଜାମ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।