ସୁଶାନ୍ତ ସିଂଙ୍କ ବିୟୋଗ: ଭଟଲିରେ ହେବ ଶେଷକୃତ୍ୟ

ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା

ଭୁବନେଶ୍ୱର, ୨୭/୦୭: ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ନେତା ସୁଶାନ୍ତ ସିଂଙ୍କ ପରଲୋକ ଘଟିଛି। ଗତ କାଲି ବିଳମ୍ବିତ ରାତିରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା।

ସୁଶାନ୍ତ ଭଟଲିରୁ ୨୦୦୯, ୨୦୧୪ ଓ ୨୦୧୯ରେ ବିଜେଡ଼ି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୨୪ରେ ବିଜେପିର ଇରାଶିଷ ଆଚାର୍ଯ୍ୟଙ୍କ ଠାରୁ ପରାସ୍ତ ହୋଇଥିଲେ।

ସୁଶାନ୍ତ ସିଂଙ୍କ ଜନ୍ମମାଟି ଭଟଲିରେ ହିଁ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ପ୍ରଥମେ ତାଙ୍କ ମରଶରୀରକୁ ବିଧାନସଭାକୁ ନିଆଯିବ। ଏହାପରେ ବିଜେଡ଼ି କାର୍ଯ୍ୟାଳୟକୁ ନିଆଯିବ। ସେଠାରେ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଭଟଲି ଯିବ ତାଙ୍କ ମରଶରୀର।

ସୁଶାନ୍ତ ସିଂଙ୍କ ମୃତ୍ୟୁ ଖବର ଶୁଣି ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି, “ବରିଷ୍ଠ ରାଜନେତା ତଥା ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।”

ସେହିପରି ବିରୋଧୀ ଦଳ ନେତା ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ନବୀନ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି, “ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ସୁଶାନ୍ତ ସିଂହଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗରେ ଦଳ ଜଣେ ଦକ୍ଷ ସଙ୍ଗଠକ ତଥା ଲୋକପ୍ରିୟ ନେତାଙ୍କୁ ହରାଇଲା। ବିଜୁ ଜନତା ଦଳକୁ ମଜଭୁତ କରିବା ସହ ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।”