ଭୁବନେଶ୍ୱର, ୨୩/୦୮: ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବା ସହ ଆସନ୍ତା ୨୪ ତାରିଖ ଯାଏଁ ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ଜାରି ରହିବା ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷକରି ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଭାରି ବର୍ଷା ହୋଇପାରେ। ଏହାକୁ ନଜରରେ ରଖି ସମୁଦ୍ରରେ ପାଣିପାଗ ଅସ୍ଥିର ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ୨୪ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ କରାଯାଇଛି।
ଲଘୁଚାପର ପ୍ରଭାବରେ ରାଜ୍ୟର କଳାହାଣ୍ଡି, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ଅତିପ୍ରବଳ ବର୍ଷା ରେକର୍ଡ ହୋଇଛି। କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ସର୍ବାଧିକ ୩୪୫ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଗୁଣପୁରରେ ୨୬୦ ମିମି, କାଶୀପୁରରେ ୨୧୨ ମିମି ଏବଂ ଜୟପାଟଣାରେ ୨୦୦ ମିମି ବର୍ଷା ହୋଇଛି।