ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ୫୦ କି.ମି. ବେଗରେ ପବନ ବହିବ

ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ

ଭୁବନେଶ୍ୱର, ୨୪/୦୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦେଶର ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଓଡ଼ିଶା, ଛତିଶଗଡ଼, ବିହାର, ଏବଂ ପୂର୍ବ ମଧ୍ୟପ୍ରଦେଶର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆହୁରି ୪ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କଟକ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ସମେତ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ସମୁଦ୍ର ଅଶାନ୍ତ ଥିବାରୁ ଏବଂ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି।