ଭୁବନେଶ୍ୱର, ୨୧/୦୯: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଏବେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେଇପାରେ। ଆସନ୍ତାକାଲି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଗଭୀର ଅବପାତରେ ପରିଣତ ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ି ସେପ୍ଟେମ୍ବର ୨୩ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ସେପ୍ଟେମ୍ବର ୨୩ ଓ ୨୪ରେ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେପ୍ଟେମ୍ବର ୨୨ରୁ ହିଁ ବର୍ଷା ବଢ଼ିବା ଆରମ୍ଭ ହେବା ସହ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିପାରେ।
ବର୍ତ୍ତମାନର ଆକଳନ ଅନୁସାରେ ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, କଳାହାଣ୍ଡି ଓ ରାୟଗଡ଼ା ଭଳି ଜିଲ୍ଲାରେ ଅତିପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାସହ ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
ଲଘୁଚାପ ଶକ୍ତିଶାଳୀ ହେବା ସହ ସମୁଦ୍ର ମଧ୍ୟ ଅଶାନ୍ତ ହେବ। ସେପ୍ଟେମ୍ବର ୨୩ରୁ ୨୪ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଘଣ୍ଟାପ୍ରତି ୫୫ରୁ ୬୫ କିମି ବେଗରେ ପବନ ଏବଂ ଝଟକା ପବନ ୭୫ କିମି ପର୍ଯ୍ୟନ୍ତ ରହିପାରେ। ଏହି ପରିସ୍ଥିତିକୁ ନଜରରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ କରାଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ମଧ୍ୟ ନିରାପଦ ସ୍ଥାନକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି।