ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତି

ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟର ଜରିଆରେ ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡ଼ିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।

ଠିକ୍ ସେହିପରି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜ ଶୋକବାର୍ତ୍ତାରେ କହିଛନ୍ତି,  ଓଡ଼ିଶା ସିନେ ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଶେଷ ଭାବରେ ଓଡ଼ିଆ ଚଳଚ୍ଚିତ୍ରରେ ତାଙ୍କର ଅଭିନୟ ଥିଲା ଅନନ୍ୟ ଓ ନିଖୁଣ । ତାଙ୍କର ଅକାଳ ବିୟୋଗରେ ଓଡିଶା ଜଣେ ଭଲ କଳାକାରଙ୍କୁ ହରାଇଲା। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।