ଆଡ଼ପ ମଣ୍ଡପରେ ବିରାଜିଲେ ଚତୁର୍ଦ୍ଧା ମୂରତି

ପୁରୀ: ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିରାଜିଲେ ଚତୁର୍ଦ୍ଧା ମୂରତି । ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଶ୍ରୀବିଗ୍ରହଙ୍କ ସମସ୍ତ ନୀତିକାନ୍ତି ରଥ ଉପରେ ଅନୁଷ୍ଠିତ ହୋଇଥିଲା। ସଂଧ୍ୟାଧୂପ ପରେ ଗୋଟି ପହଣ୍ଡିରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ବଡ ଠାକୁର ଜଗନ୍ନାଥ  ଜନ୍ମବେଦୀକୁ ଯାଇଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶରଧାବାଲିରେ ଭକ୍ତଙ୍କ ପ୍ରବଳ ଗହଳି ଲାଗି ରହିଛି।

ରତ୍ନବେଦୀରୁ ଜନ୍ମବେଦୀରେ ପହଞ୍ଚିଛନ୍ତି ଚତୁର୍ଦ୍ଧା ମୂରତୀ । ଦୁଇ ବର୍ଷର କରୋନା କଟକଣା ପରେ ଐତିହାସିକ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସଂପନ୍ନ ହୋଇଛି।  ଗୁଣ୍ଡିଚା ମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦଣ୍ଡାୟମାନ ତିନି ରଥ। ଶନିବାର ରଥ ଉପରେ ହିଁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା।

ମଙ୍ଗଳଆଳତୀ, ମଇଲମ, ତଡ଼ପ ଲାଗି, ଅବକାଶ, ଗୋପାଳ ବଲ୍ଲଭ ଭୋଗ ପରେ ସକାଳଧୂପ, ଭୋଗମଣ୍ଡପ ଓ ମଧ୍ୟାହ୍ନ ଧୂପ ସଂପନ୍ନ ହୋଇଥିଲା। ମାଘସ୍ନାନ, ସଂଧ୍ୟାଆଳତୀ, ପୁଷ୍ପାଞ୍ଜଳି ଓ ଡୋରଲାଗି ପରେ ଚାରମାଳ ବନ୍ଧାଯାଇ ଅପରାହ୍ନରେ ପହଣ୍ଡି ଆରମ୍ଭ ହୋଇଥିଲା। ଗତକାଲି ପରି ଆଜି ମଧ୍ୟ ସଅଳ ନୀତି ହୋଇଥିଲା ।