ମା ଭଗବତୀ, ମା ମଙ୍ଗଳା ଓ ମା ଉଗ୍ରତାରାଙ୍କ ପୀଠର ମାଷ୍ଟରପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ

ଆଜି ରାଜ୍ୟର ତିନୋଟି ପ୍ରମୁଖ ଶକ୍ତିପୀଠ, କାକଟପୁରର ମା ମଙ୍ଗଳା, ଭୁଷୁଣ୍ଡପୁରର ମା ଉଗ୍ରତାରା ଓ ବାଣପୁରର ମା ଭଗବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ୫-ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ପୁର୍ତ୍ତ ବିଭାଗର ପର୍ଯ୍ୟଟନ ସ୍ଥଳ ଓ ଐତିହ କିର୍ତ୍ତିରାଜିର ସମ୍ୱନିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି । ଓଡିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

ଉଲ୍ଲେଖ ଥାଉ କି ପୁରୀ ଜିଲ୍ଲାର କାକଟପୁରରେ ବିରାଜିତ ମା ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ । ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା ମଙ୍ଗଳାଙ୍କ ପୀଠର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସଂପର୍କ ରହିଛି । ନବକଳେବର ସମୟରେ ଦଇତାପତି ସେବକମାନେ ମାଙ୍କ ଆଜ୍ଞାକ୍ରମେ ଏଠାରୁ ହିଁ ଦାରୁ ସନ୍ଧାନରେ ଯାଇଥାନ୍ତି। ଚୈତ୍ର ମାସରେ ଝାମୁ ଯାତ୍ରା ମାଙ୍କ ପ୍ରସିଦ୍ଧ ପର୍ବ । ୫-ଟି ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନରେ ମନ୍ଦିରରେ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ । ଏହା ସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ କିଓସ୍କ, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ । ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ ଦ୍ୱାର ନିର୍ମାଣ କରାଯିବ ।