ପ୍ରବଳରୁ ଅତିପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୪ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୬ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କନ୍ଧମାଳ, ଗଂଜାମ ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ନୟାଗଡ଼, ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଗଜପତି ପ୍ରଭୃତି ୧୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।