ଦକ୍ଷିଣ- ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୮ରେ ଲଘୁଚାପରେ ପରିଣତ

ନୂଆଦିଲ୍ଲୀ: ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୮ ତାରିଖରେ ଏହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

୯ ତାରିଖ ବେଳକୁ ଏହା ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଏହା ଅଧିକ ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଆଡ଼କୁ ଗତି କରି ଏକ ସାମୁଦ୍ରିକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜିଅପରାହ୍ଣରେ ଜାରି କରାଯାଇଥିବା ସଦ୍ୟତମ ସତର୍କ ସୂଚନାରେ କୁହାଯାଇଛି।

ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଏହାର ଗତିପଥ ଓ ତୀବ୍ରତା ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରାଯିବ। ଏହି ଘୂର୍ଣ୍ଣିବଳୟ ଉପରେ ନିରନ୍ତର ନଜର ରଖାଯାଇଛି ଏବଂ ନିୟମିତ ଭାବେ ଏହାର ତଦାରଖ କରାଯାଉଛି ବୋଲି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।