୩୨୩ଟି ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱରରେ ୨୪ଟି ନୂଆ ଜରୁରୀକାଳୀନ ଆମ୍ବୁଲାନ୍ସ ଓ ୨୯୯ଟି ରୂପାନ୍ତରିତ ଅତ୍ୟାଧୁନିକ ଜୀବନରକ୍ଷାକାରୀ ଆମ୍ବୁଲାନ୍ସକୁ ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟର ସବୁ ବ୍ଲକରେ ସେବା ଯୋଗାଇବା ଲକ୍ଷ୍ୟ
ଭୁବନେଶ୍ବର: ରାଜ୍ୟରେ ଜରୁରୀକାଳୀନ ଚିକିତ୍ସା ସେବା ଯୋଗାଣକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୨୪ଟି ନୂଆ ଜରୁରୀକାଳୀନ ଆମ୍ବୁଲାନ୍ସ ଓ ୨୯୯ଟି ରୂପାନ୍ତରିତ ଅତ୍ୟାଧୁନିକ ଜୀବନରକ୍ଷାକାରୀ ଆମ୍ବୁଲାନ୍ସକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାନୁସାରେ, ୨୦୧୩ ମାର୍ଚ୍ଚ ୫ ତାରିଖରୁ ରାଜ୍ୟରେ ୧୦୮ଟି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଥିବା ବେଳେ ଏବେ ୬୨୪ଟି ଆମ୍ବୁଲାନ୍ସ ରାଜ୍ୟର ୩୦ଟି ଜିଲ୍ଲାର ଲୋକଙ୍କୁ ମାଗଣା ସେବା ଯୋଗାଇ ଦେଉଛି। ଏହା ସହ ୬ଟି ବୋଟ୍ ଆମ୍ବୁଲାନ୍ସ ମଧ୍ୟ କାମ କରୁଛି। ଜରୁରୀକାଳୀନ ବାଲାନ୍ସ ସେବାରେ ଆହୁରି ଉନ୍ନତି ଆଣିବା ପାଇଁ ପର୍ଯ୍ୟାୟକ୍ରମେ ୯୨ଟି ନୂଆ ଆମ୍ବୁଲାନ୍ସ ପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ସେଥିମଧ୍ୟରୁ ୨୪ଟି ନୂଆ ଆମ୍ବୁଲାନ୍ସ କିଣାଯାଇଛି। ଏଥିପାଇଁ ରାଜ୍ୟ ସରକାର ୯.୬ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଏହାବ୍ୟତୀତ ଗର୍ଭବତୀ ମା’ ଓ ଅସୁସ୍ଥ ଶିଶୁଙ୍କୁ ଡାକ୍ତରଖାନା ନେବା ପାଇଁ ୫୦୦ ଜନନୀ ଏକ୍ସପ୍ରେସ୍ ଆମ୍ବୁଲାନ୍ସ କାମ କରୁଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୮ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ଆମ୍ବୁଲାନ୍ସ ସେବା ଦ୍ୱାରା ଉପକୃତ ହୋଇଛନ୍ତି ।