ବାହାନଗା; ମୃତକଙ୍କ ପରିବାରକୁ ୫ ଲକ୍ଷ ଓ ଗୁରୁତର ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି: ରାଜ୍ୟ ସରକାର
ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୫ ଲକ୍ଷ ଓ ଗୁରୁତରଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର
ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ସହାୟତା ପ୍ରଦାନ କରାଯିବ
ବାଲେଶ୍ୱର : ବାହାନଗା ରେଳ ଦୁର୍ଘଟଣାରେ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୩ଟି ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ୨୮୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି (ସିଏମ୍ଆରଏଫ୍)ରୁ ଏହି ସହାୟତା ପ୍ରଦାନ କରାଯିବ ବୋଲି ସିଏମ୍ଓ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି।
ଗୋଟିଏ ଦିନ ତଳେ ପ୍ରଧାନମନ୍ତ୍ରୀ ମୋଦୀ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଥିଲେ।
ଓଡ଼ିଶାରେ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପିଏମ୍ଏନ୍ଆରଏଫ୍ ପକ୍ଷରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତଙ୍କୁ ୫୦ ହଜାର ଟଙ୍କା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସେହିପରି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ୨ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା କ୍ଷତିପୂରଣ ଦିଆଯିବ ବୋଲି ସୂଚନା ଦେଇଛନ୍ତି।