ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ; ଓଡ଼ିଶାରେ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି

୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର:ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ସମୁଦ୍ର ପତନଠାରୁ ୭.୬ କିଲୋମିଟର ଉଚ୍ଚତା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ଆଇଏମଡି ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଜୁନ୍ ୨୫ରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ପଶ୍ଚିମ ଓ ଉତ୍ତର ବଙ୍ଗୋପସାଗରର ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।