ପ୍ରବଳରୁ ଅତିପ୍ରବଳ ବର୍ଷିବ; ୯ ଜିଲ୍ଲାକୁ ଅରେଞ୍ଜ, ୧୨ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୯ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଜୁଲାଇ ୧୩ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଂଜାମ ଓ ନୟାଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୯ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ରାୟଗଡ଼ା, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।