ସତ୍ୟପାଠକୁ ମିଥ୍ୟା ବୋଲି କହିବା ପୃଥ୍ୱୀରାଜଙ୍କ ହୀନ ମାନସିକତାକୁ: ବିଜେଡି

ଶ୍ରୀମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ଶ୍ରୀମନ୍ଦିର ପ୍ରଶାସନର ସତ୍ୟପାଠକୁ ସମାଲୋଚନା କରିଥିବା ବିଜେପି ଉପରେ ବର୍ଷିଛି ବିଜେଡି

ଯଦି ମିଛ,ହାଇକୋର୍ଟକୁ ଯାଆନ୍ତୁ ପୃଥ୍ୱୀରାଜ: ବିଜେଡି

ଭୁବନେଶ୍ୱର, ୦୧/୦୮/୨୦୨୩: ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ଶ୍ରୀମନ୍ଦିର ପ୍ରଶାସନର ସତ୍ୟପାଠକୁ ସମାଲୋଚନା କରିଥିବା ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପରେ ବର୍ଷିଛି ବିଜେଡି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡ଼ି ପ୍ରବକ୍ତା ଇପସିତା ସାହୁ କହିଛନ୍ତି ଯେ ଜୀବନରେ ୱାର୍ଡ଼ମେମ୍ୱରଟିଏ ମଧ୍ୟ ହୋଇ ପାରିନଥିବା ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ ଟିଭିର ବୁମ୍ ଦେଖିଲେ ନିଜକୁ ସମ୍ଭାଳି ପାରନ୍ତି ନାହିଁ । କୌଣସି ବିଷୟରେ କିଛି ନ ଜାଣିଥିଲେ ବି ଯାହା ମନକୁ ଆସିଲା, ତାହା ଗପି ଚାଲନ୍ତି । ଓଡ଼ିଶାବାସୀ ତାଙ୍କର ଏଭଳି ଜୋକର ସ୍ୱଭାବ ବିଷୟରେ ଭଲ ଭାବେ ଅବଗତ ଥିବାରୁ କେହି ତାଙ୍କ କଥାକୁ ଗୁରୁତ୍ୱ ଦିଅନ୍ତି ନାହିଁ ।

ପୃଥ୍ୱୀରାଜ ବାବୁଙ୍କ ଭଳି ଓଡ଼ିଶା ବିଜେପିର ନେତାମାନେ ସ୍ପର୍ଶକାତର ପ୍ରସଙ୍ଗରେ ସବୁବେଳେ ନିମ୍ନ ମାନର ରାଜନୀତି କରିବାକୁ ଚେଷ୍ଟା ଚଳାଇ ଆସିଛନ୍ତି । ହାଇକୋର୍ଟରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଦାଖଲ କରାଯାଇଥିବା ଏ ସମ୍ପର୍କିତ ସତ୍ୟପାଠକୁ ମିଥ୍ୟା ବୋଲି କହିବା ତାଙ୍କ ହୀନ ମାନସିକତାକୁ ଦର୍ଶାଉଛି । ମହାପ୍ରଭୁଙ୍କ ନାଁରେ ମିଛ କହିବା କେବଳ ତାଙ୍କ ଭଳି ମିଥ୍ୟାବାଦୀମାନେ ହିଁ ଚିନ୍ତା କରିପାରନ୍ତି ।

ପୃଥ୍ୱୀରାଜ ବାବୁଙ୍କୁ ଯଦି ଶ୍ରୀମନ୍ଦିର ପ୍ରଶାସନର ସତ୍ୟପାଠ ମିଥ୍ୟାପାଠ ଭଳି ଲାଗୁଛି, ସେ ଏହା ବିରୋଧରେ ହାଇକୋର୍ଟକୁ ଯାଉନାହାନ୍ତି କାହିଁକି? ସବୁ ଆଡ଼ୁ ହତାଶ ହୋଇ ଏମିତି ବାଉଳିଚାଉଳି ହେଉଛନ୍ତି କାହିଁକି ବୋଲି ଇପସିତା ପ୍ରଶ୍ନ କରିଛନ୍ତି ।